News
WhatsApp Image 2023-10-04 at 17.25.00
samparksetu

ଅକ୍ଷୟ ତୃତୀୟା ଓ ଏହାର ମାହାତ୍ମ୍ୟ

ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ ।

ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗୁଉଣିକୁ  ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ ଷଠିଦେବୀ ଙ୍କ ପୂଜା ‘  କରନ୍ତି ।

ଏହିତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି ।

ଏହି ଦିନ ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ । ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନ ଯାତ୍ରା ପାଳନ କରାଯାଏ । ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ ।

new life
You might also like
error: Content is protected !!